
ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ : ଜୁଲାଇ ୨ ଯାଏ ପ୍ରବଳ ବର୍ଷା
ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଆସନ୍ତା ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୬ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବୌଦ୍ଧକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହିତ ୯ ଜିଲ୍ଲା ବରଗଡ଼, ନୂଆପଡ଼ା, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି, ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ।