୩ ଦିନରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା : ୫ ଦିନ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ଆଗାମୀ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଆଗାମୀ ୩ ଦିନରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ। ତେବେ ଲଘୁଚାପର ପ୍ରଭାବ ସିଧା ସଳଖ ଓଡ଼ିଶା ଉପରେ ପଡ଼ିବ ନାହିଁ।ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବ। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ଜାରି ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଓଡିଶାର ଦକ୍ଷିଣ ଉପକୂଳ ଜିଲ୍ଲା ବିଶେଷକରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର,କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ବର୍ଷା ପ୍ରଭାବରେ କିଛି ସ୍ଥାନରେ ପାରଦ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।