
ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ।
ଆସୁଛି ଆଉ ଏକ ଲଘୁଚାପ। ଗଣେଶ ପୂଜାରେ ଭିଜିବ ଉପକୂଳ ଓଡ଼ିଶା। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାପରେ କାଲିଠୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।ଏହି ଲଘୁଚାପ ପ୍ରଭାବରେ ଆଜିଠୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବାକୁ ଥିବା ବେଳେ ଆସନ୍ତାକାଲି ଅର୍ଥାତ ୫ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହି ବର୍ଷା ଆଗାମୀ ୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ଯାହାକୁ ନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ଘଡଘଡି ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାମାନଙ୍କ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା ଏବଂ ବଲାଙ୍ଗିର ରହିଛି।ଅନ୍ୟପଟେ ୬ ତାରିଖରେ ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ୧୨ଟି ଜିଲ୍ଲାକୁ ବଜ୍ରପାତ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଏଥି ସହିତ ଗଣେଶ ପୂଜାରେ ପ୍ରବଳ ବର୍ଷା ନେଇ ୯ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାମାନଙ୍କ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁ, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ଅନୁଗୁଳ ଏବଂ ଢେଙ୍କାନାଳ ରହିଛି।