ସୁସ୍ଥ ହେଉଛନ୍ତି ଶ୍ରୀଜୀଉ, ଲାଗି ହେବ ଦଶମୂଳମୋଦକ

ଅସୁସ୍ଥ ହୋଇ ଅଣସରପିଣ୍ଡିରେ ଥିବା ମହାପ୍ରଭୁ ଧୀରେ ଧୀରେ ସୁସ୍ଥ ହେଉଛନ୍ତି । ଆଜି ଦଶମୂଳମୋଦକ ଲାଗି ହେବା ପରେ ଶ୍ରୀବିଗ୍ରହ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ଆସନ୍ତାକାଲି ମହାପ୍ରଭୁଙ୍କ ସୁସ୍ଥତାର ଖବର ଆଦ୍ୟ ସେବକ ଗଜପତିଙ୍କୁ ପ୍ରଦାନ କରିବେ ଦଇତାପତି ସେବାୟତ । ସ୍ନାନପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତି ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି । ଦଶମୀରେ ଅଣସର ଘରେ ଚକାରେ ବିଜେ ହୋଇଛନ୍ତି  ଶ୍ରୀବିଗ୍ରହ । ଆଜି ଖଳିଲାଗି ଏକାଦଶୀ । ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ ।

ତିନିଦିନ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେ ଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ । ଦୀର୍ଘଦିନ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ବିଶ୍ରାମ ନେଉଥିବା ଶ୍ରୀଜୀଉ ଗତକାଲି ଉଠି ବସିଛନ୍ତି । ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ । ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।

ଗତକାଲି ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହି ଦଶମୂଳ ମୋଦକ  ଶ୍ରୀମନ୍ଦିରରେ ଆସି ପହଞ୍ଚିଥିଲା । ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଏହା ଲାଗି କରାଯିବାର ପରମ୍ପରା ରହିଛି । ତେବେ ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ । ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ । ଚନ୍ଦନରେ କର୍ପୂର, କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି । ଆଜି ମହାପ୍ରଭୁ ବାରଲାଗି ଖଣ୍ଡୁଆପାଟ ପରିଧାନ କରିବେ ।

ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ । ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ଅଣସର ୧୨ଦିନ ଧରି ଜ୍ୱର ଯୋଗୁଁ ଘଣ୍ଟ ବାଜିବା ବନ୍ଦ ରହିଥିଲା । ଆଜି ଖଳି ଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି । ଏକାଦଶୀ ତିଥିର  ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି । ଆସନ୍ତାକାଲି  ଅଣସର ଦ୍ୱାଦଶୀରେ ଶ୍ରୀନହରକୁ ରାଜପ୍ରସାଦ ବିଜେ କରିବ ଏବଂ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ପ୍ରଦାନ କରାଯିବ ।

Related Articles

Back to top button