
ଡିସେମ୍ବର ପହିଲା ସୁଦ୍ଧା ପେନସନ୍ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇ ଗଲାଣି । କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରାରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପକରେ ଆଜି ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ।
ଶୀତର ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷ କରି ବରିଷ୍ଠ ନାଗରିକ ମାନଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ମଧୁବାବୁ ପେନସନ୍ ଯୋଜନା ଓ ଜାତୀୟ ପେନ୍ସନ ଯୋଜନା (NSAP) ଅନ୍ତର୍ଗତ ୪୮ ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ ଏବଂ ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।