
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗି ରହିବ । ଆସନ୍ତାକାଲି ଏବଂ ଏପ୍ରିଲ ପହିଲାରେ କେତେକ ଜିଲ୍ଲାରେ ଏହାର ପ୍ରଭାବ ସର୍ବାଧିକ ଭାବେ ପରିଲକ୍ଷିତ ହେବ । କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ପାଣିପାଗ ବିଭାଗ ପକ୍ଷରୁ ୧୫ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଉଛି ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ମୟୁରଭଞ୍ଜ, ଦେବଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ସେହିପରି ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ୧୧ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଢେଙ୍କାନାଳ ଜିଲ୍ଲାର ଭୁବନରେ ସର୍ବାଧିକ ୭୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି କୌଣସି ପ୍ରକାର ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର, ଏସ୍.ଆର୍.ସିଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।